ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସୋମବାର ଗତ ୨୪ ଘଂଟା ମଧ୍ୟରେ ୧୦,୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀରୁ ୨ ଜଣ ଏବଂ ଅନୁଗୁଳ, ବଲାଙ୍ଗୀର ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୫,୪୪,୮୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪,୪୭,୮୬୩ଜଣ ସୁସ୍ଥ ହୋଇଥିବା ବେଳେ ୯୪,୭୬୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୧୯୭ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Spread the love