ଉତ୍କଳ ଦିବସରେ ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

  • କ୍ୟାଂଟନମେଂଟ ରୋଡରେ ଗୋପବନ୍ଧୁଙ୍କ ଷ୍ଟାଚ୍ୟୁ ଅଫ ହ୍ୟୁମାନିଟି ଓବେଲ ଭ୍ୟୁ ଛକରେ ମହାତ୍ମା ଗାନ୍ଧୀଙ୍କ ମ୍ୟୁରାଲ ପ୍ରତିମୂର୍ତୀ ଉନ୍ମୋଚିତ

  • ବିଂଶ ଶତାବ୍ଦୀର ଦୁଇ ମହାପୁରୁଷଙ୍କ ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ପ୍ରେରଣା ଯୋଗାଇବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ କଟକ : ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତୀ ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଂଟନମେଂଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତୀ ଅନାବରଣ କରିଥିଲେ । ଏହାକୁ ମାନବତାର ପ୍ରତିମୂର୍ତୀ ନାମରେ ନାମିତ କରାଯାଇଛି । ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି । ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତୀ ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ ।

ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି । ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତି ସ୍ଥାପତ୍ୟ କଳାର ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି । ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ୱକୁ ଭାରତର ଶ୍ରେଷ୍ଠ ଅବଦାନ । ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି । ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଂଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ । ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ମନ୍ତ୍ରୀ ପ୍ରତାପ ଜେନା ସାଂସଦ ଭତୃହରି ମହତାବ ଓ ସୁବାସ ସିଂହ , କଟକ ଜିଲ୍ଲାର ବିଧାୟକଗଣ. ସମାଜ ଅନୁଷ୍ଠାନ ର କାର୍ଯ୍ୟ କର୍ତା ମାନେ ଉପସ୍ଥିତ ଥିଲେ ।

Spread the love