ପୁରାଣ ରେ ରକ୍ଷାବନ୍ଧନ କଥା |

ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି ।

ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।
ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି।କାହାଣୀଟି କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

Spread the love