କାଲିଠାରୁ କମିପାରେ ତାତି ! ୧୬ ଜିଲ୍ଲାକୁ ହିଟ୍ ୱେଭ୍ ପାଇଁ ଅରେଂଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବେ । ତେବେ ଆସନ୍ତାକାଲି ଅପରାହ୍ନରେ କାଳବୈଶାଖୀ ସମ୍ଭାବନା ଥିବାରୁ ତାପମାତ୍ରା ହ୍ରାସ ପାଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ସୂଚନା ଅନୁସାରେ ଗୁରୁବାର ଅପରାହ୍ନ ୧ଟା୩୦ରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ୮ଟା୩୦ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ । ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିବା ସହ ମଧ୍ୟାହ୍ନ ସମୟରେ ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକମାନଙ୍କୁ ଖରାରୁ ଦୂରେଇ ରହି ଘରୁ ପଦାକୁ ନବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ତେବେ, ଶୁକ୍ରବାର ଅପରାହ୍ନରେ ରାଜ୍ୟର ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କନ୍ଧମାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହିସମୟ ମଧ୍ୟରେ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଘଂଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହି କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୪ତାରିଖ ମଧ୍ୟରେ ନୟାଗଡ, ଖୋର୍ଦ୍ଧା , କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୁରଭଂଜ, କନ୍ଧମାଳ, ଅନୁଗୁଳ ଓ ବୌଦ୍ଧ ଓ ୫ ତାରିଖ ମଧ୍ୟରେ ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ , କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ କାଳୈବଶାଖୀସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Spread the love