ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର : ଉପରାଷ୍ଟ୍ରପତି ଶ୍ରୀ ଏମ. ଭେଙ୍କେୟା ନାଇଡ଼ୁ ଆସନ୍ତାକାଲି (ଶୁକ୍ରବାର) ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତ ଅବସରରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବ ତଥା ସମାବର୍ତନର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ଏହାଛଡ଼ା ସେ କଟକସ୍ଥିତ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ଗୁରୁବାର ଅପରାହ୍ନରେ କାରକେଡ୍ ଅଭ୍ୟାସ କରାଯାଇଛି । ଭୁବନେଶ୍ୱର ସମେତ କଟକ ଠାରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଉପରାଷ୍ଟ୍ରପତି ଶ୍ରୀ ନାଇଡୁ ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ଅପରାହ୍ଣ ସାଢ଼େ ୫ଟାରେ କଟକର ବିଜୁ ପଟ୍ଟନାୟକ ଛକ ଠାରେ ଥିବା ସାରଳା ଭବନ ପରିସରରେ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ଏବଂ ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଏପ୍ରିଲ ୩ ତାରିଖ, ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ । ଏହି ସମାରୋହରେ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବେ । ଏହି ଅବସରରେ ଉପରାଷ୍ଟ୍ରପତି ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା, ଭାବା ଆଟମିକ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡ. ବିଜୟ କୁମାର ସାହୁ, ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକ (ସିଏଜି) ଗିରିଶ ଚନ୍ଦ୍ର ମୁର୍ମୁ ପ୍ରମୁଖଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରିବେ । ଏହି ଅବସରରେ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ୪୧ ଜଣଙ୍କୁ ପିଏଚଡି ଓ ୯୦ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ । ସେହିପରି ୨୦୧୮-୧୯ ଶିକ୍ଷା ବର୍ଷ ପାଇଁ ୧୩୦ ଜଣଙ୍କୁ ପିଏଚଡି/ଡିଲିଟ୍ ଏବଂ ୯୦ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ସମସ୍ତ ଅଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କର କୋଭିଡ୍ ଟେଷ୍ଟ କରାଯାଇଛି । ସେହିଦିନ ଅପରାହ୍ଣରେ ଉପରାଷ୍ଟ୍ରପତି ଦିଲ୍ଲୀ ଅଭିମୁଖେ ପ୍ରସ୍ଥାନ କରିବେ ।

Spread the love